ଭୁବନେଶ୍ୱର : ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ପରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଠାରୁ ବୁଧବାର ପର୍ଯ୍ୟନ୍ତ ବୌଦ୍ଧ, ସୋନପୁର, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କାର୍ଯ୍ୟାଳୟ ସତର୍କ କରାଇଛି ।
ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି । ସେ କହିଛନ୍ତି, ପୂର୍ବରୁ ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେଉଛି । ତଥାପି ଓଡ଼ିଶାର ଏକାଧିକ ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା ବୁଧବାର ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି କୁହାଯାଇଛି । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଉପକୂଳ, ଉତ୍ତର, ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ବର୍ଷା ହେବ । ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଡ. ବିଶ୍ୱାସ କହିଛନ୍ତି । ୫ ଓ ୬ରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଏକାଧିକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୮ତାରିଖରୁ ବର୍ଷା କମିବା ସହ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ସୂତ୍ରରୁ ସୂଚନା ଦିଆଯାଇଛି ।