୧୬ ଯାଏ ୨୧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା,ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର : ଉତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ଏକ ବଡ଼ଧରଣର ଲଘୁଚାପ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ସହ ଆସନ୍ତାକାଲି ଓ ମଙ୍ଗଳବାର ପାଇଁ ରେଡ୍ ଆର୍ଲଟ ଜାରି କରିଛି । ତେବେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । କିନ୍ତୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ଦୁଇ ଦିନ ଧରି ୨୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ଓଡ଼ିଶାରେ ଆସନ୍ତା ୩ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଆଜି ସାରା ରାଜ୍ୟରେ ଝିପିଝିପି ବର୍ଷା ଲାଗି ରହିଛି ।

ବଡ଼ ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ
୨୧ ଜିଲ୍ଲାରେ ବର୍ଷା ସମ୍ଭାବନା
ରେଡ୍ ଆଲର୍ଟ ଜାରି କଲା ଭାରତୀୟ ପାଣିପାଗ ବିଭାଗ

ଆଜି ବିଳମ୍ବିତ ରାତିରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ କହିଛି । ୧୬ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ ବର୍ଷା ଓ ପବନ ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ୍ରବଳ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆଜି ରାତିରୁ ଦକ୍ଷିଣ ଉପକୂଳର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ପୂର୍ବାହ୍ନ ସୁଦ୍ଧା ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ମାଛ ଧରିବାକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ସକାଳ ସୁଦ୍ଧା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, ଗଞ୍ଜାମ, ଗଜପତି, ପୁରୀ, ବରଗଡ଼, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାତି ସୁଦ୍ଧା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ବୌଦ୍ଧ, ଜଗତସିଂହପୁର, କଟକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାର ସୁଦ୍ଧା ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ମୟୁରଭଞ୍ଜ, ନୟାଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Comments (0)
Add Comment