ଭୁବନେଶ୍ୱର : ରାଜ୍ୟରେ ବର୍ଷା ବିତ୍ପାତ ପିଛା ଛାଡ଼ୁନି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷାରେ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବ ବୋଲି ସତର୍କ କରି ଦିଆଯାଇଛି ।
ଓଡ଼ିଶା ଉପକୂଳର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଲଘୁଚାପ ପ୍ରଭାବରେ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଗଞ୍ଜାମ, ବରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ଘଡ଼ିଘଡ଼ି ଲାଗି ରହିବାର ଆଶଙ୍କା ଥିବାରୁ ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ଏଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ସତର୍କ କରାଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ, ନୟାଗଡ଼, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଅନ୍ୟପକ୍ଷରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୁଚନା ଅନୁଯାୟୀ ଉତ୍ତର ଓଡ଼ିଶାରେ ସୃଷ୍ଟ ଘୂର୍ଣ୍ଣିବଳୟ କ୍ରମଶଃ ଲଘୁଚାପରେ ପରିଣତ ହେବାର ଲାଗିଛି ।
